କଟକ ଓ କେନ୍ଦ୍ରାପଡାରେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମର ଚତୁର୍ଥ ପର୍ଯ୍ୟାୟ ଶୁଭାରମ୍ଭ ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି : ମୁଖ୍ୟମନ୍ତ୍ରୀ



ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ୱକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ । ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ୱରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଚତୁର୍ଥ ଦିନରେ କଟକ ଓ କେନ୍ଦ୍ରାପଡା ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା । ଏଥିପାଇଁ କଟକ ଜିଲ୍ଲାର ୮ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୮୬ କୋଟି ୫୦ ଲକ୍ଷ ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ବଡମ୍ବା, ଚୌଦ୍ୱାର-କଟକ, ବାଙ୍କୀ, ଆଠଗଡ, ନିଆଳି, କଟକ ସଦର, ସାଲେପୁର ଓ ମାହାଙ୍ଗା । ଏହିସବୁ ନିର୍ବାଚନମଣ୍ଡଳୀର ୩୭୩ଟି ଗ୍ରାମ ପଞ୍ଚାୟତରେ ୫୩୫୧ଟି ପ୍ରକଳ୍ପ ହେବ । ସେହିପରି କେନ୍ଦ୍ରାପଡା ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୨୪ କୋଟି ୫୦ ଲକ୍ଷ ଟଙ୍କା ମଂଜୁର ହୋଇଛି । ଏହିସବୁ ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ମହାକାଳପଡା, କେନ୍ଦ୍ରାପଡା, ପାଟକୁରା, ରାଜନଗର ଓ ଆଳି । ଏଥିରେ ୨୪୯ଟି ଗ୍ରାମପଞ୍ଚାୟତରେ ୩୩୫୩ ଟି ପ୍ରକଳ୍ପ କରାଯିବ । ଏହି କାର୍ଯ୍ୟକ୍ରମରେ ପ୍ରତ ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ, ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ । ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି । ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍ୱଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍ ସଂଯୋଗ ମିଳିବ । ବିଜ୍ଞାନ ପାକ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । ୱାର୍କସ ହବ ହେବ । ବ୍ୟାଙ୍କିଂ ସୁବିଧା ମିଳିବ । ଏହି କାର୍ଯ୍ୟକ୍ରମରେ ଗାଁର ପ୍ରାଇମେରୀ ସ୍କୁଲ ଗୁଡିକ ମଧ୍ୟ ସାମିଲ ହେବ । ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସବୁ ଗାଁର ବିକାଶ ଆମର ଲକ୍ଷ୍ୟ । ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ୱାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ । ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ । ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ୱ ପ୍ରେମ, ଶାନ୍ତି, ସଦ୍ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ । ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ । ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ । ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ଆଜିର କାର୍ଯ୍ୟକ୍ରମ ପାଇଁ କଟକ ଜିଲ୍ଲାର ୮ଟି ଓ କେନ୍ଦ୍ରାପଡା ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା ।


Next Post

ରାଜନଗରରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଉଦ୍‌ଘାଟିତ ୨୯ଟି ପଚାଂୟତ ପାଇଁ ୧୪କୋଟି ୫୦ଲକ୍ଷ ଅର୍ଥ ମଂଜୁର

Fri Oct 20 , 2023
କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ମହିଁଷାସୁର ପଚାଂୟତ ପଡିଆରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଡିଓ ନିଶାନ ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫେରନ୍ସ ମାଧ୍ୟମରେ ଉଦ୍‌ଘାଟନ କରିଥିଲେ । ରାଜନଗର ବ୍ଲକର ୨୯ଟି ପଚାଂୟତ ପାଇଁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ୧୪କୋଟି ୫୦ଲକ୍ଷ ଟଙ୍କା ମଂଜୁର ହୋଇଥିବା ପ୍ରକାଶ କରିଥିଲେ । […]

You May Like