
କେନ୍ଦ୍ରାପଡ଼ା, ୨୭/୩ : କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ ରଞ୍ଜନ କୁମାର ଦାସ ଦିନିକିଆ କେନ୍ଦ୍ରାପଡ଼ା ଗସ୍ତରେ ଆସି ସାଧାରଣ ନିର୍ବାଚନ ୨୦୨୪ ସମ୍ପର୍କରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଥିବା ସମସ୍ତ ପଦକ୍ଷେପ ଉପରେ ସମୀକ୍ଷା କରିଛନ୍ତି । ଜିଲ୍ଲାପାଳଙ୍କ କାର୍ଯାଳୟର ସଦ୍ଭାବନା ସଭାଗୃହରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ଜିଲ୍ଲା ନିର୍ବାଚନ ଅଧିକାରୀ ଏବଂ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ, ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟାରିଆ, ଅତିରିକ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ ପୀତାମ୍ବର ସାମଲ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନିଲୁ ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ରାଜେନ୍ଦ୍ର କୁମାର ପଣ୍ଡା, ଉପଜିଲ୍ଲାପାଳ ରବିନ୍ଦ୍ର କୁମାର ପ୍ରଧାନ, ଅତିରିକ୍ତ ଉପଜିଲ୍ଲାପାଳ ଅଶୋକ କୁମାର ଦାସ, ଉପ ନିର୍ବାଚନ ଅଧିକାରୀ ରମେଶ ଚନ୍ଦ୍ର ପଣ୍ଡା, ଆଂଚଳିକ ପରିବହନ ଅଧିକାରୀ ଧୀରେନ୍ଦ୍ର କୁମାର ନାୟକ ପ୍ରମୂଖ ଉପସ୍ଥିତ ଥିଲେ । ନିର୍ବାଚନ ଆଦର୍ଶ ଆଚରଣ ବିଧିକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ସେ ପରାମର୍ଶ ଦେଇଥିଲେ । ଭାରତର ନିର୍ବାଚନ ଆୟୋଗଙ୍କ ଦ୍ୱାରା ପ୍ରଣିତ ନୀତିନିୟମକୁ ଅକ୍ଷରେ ଅକ୍ଷରେ ପାଳନ କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ । ଯଥାର୍ଥ କାରଣ ନଥାଇ ମେଡିକାଲ ସାଟିଫିକେଟ୍ର ସାହାଯ୍ୟ ନେଇ ନିର୍ବାଚନ ଡ୍ୟୁଟିରୁ ନାମ କାଟିବାକୁ ଚାହୁଁଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ମୋଟରଯାନ ପରିଚାଳନା କାର୍ଯ୍ୟକୁ ସଠିକ୍ ଭାବରେ କରିବା ପାଇଁ ଜିଲ୍ଲା ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ନିମୟିତ ଯାଞ୍ଚ, ଠିକ୍ ସମୟରେ ମଦ କାଉଣ୍ଟର ବନ୍ଦହେବା, ଲାଇସେନ୍ସ ନବୀକରଣ ଉପରେ ଗୁରୁତ୍ୱାରୋପ କରିବାକୁ ସେ ଅବକାରୀ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ଭଲ୍ନେରେବୁଲ ବୁଥ୍ ମ୍ୟାପିଙ୍ଗ୍ କାର୍ଯ୍ୟକୁ ଠିକ୍ ଢଙ୍ଗରେ କରିବା ପାଇଁ ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କୁ ନିର୍ଦ୍ଦେଶ ଦେଇଥିବା ବେଳେ ସମସ୍ତ ଭୋଟ୍ ଗ୍ରହଣ କେନ୍ଦ୍ରମାନଙ୍କରେ ଆବଶ୍ୟକୀୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।











